F0141960 65c1 40b2 acc2 1a1a2ee91cd2

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୧ତମ ଦିନରେ କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା।

ଆଜିର କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଜିଲ୍ଲାର ୩ଟି, ଅନୁଗୋଳ ଜିଲ୍ଲାର ୫ଟି ଓ ଗଜପତି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ସଂସ୍କୃତି ସହିତ ଆଧୁନିକତାର ସମନ୍ଵୟ ହିଁ ବିକାଶର ଆଦର୍ଶ ମାର୍ଗ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ସେ ପୁଣି କହିଲେ ଯେ  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ଏବେ ଓଡିଶାରେ ଗାଁ ଲୋକମାନେ ବିକାଶର ପ୍ରକୃତ ଭାଗିଦାର ହୋଇଛନ୍ତି। ସେମାନଙ୍କ ଦାବୀ, ସେମାନଙ୍କ ଅନୁରୋଧ ଅନୁଯାୟୀ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଅନୁମୋଦନ କରିଛନ୍ତି। ଆମେ ସମସ୍ତେ ମିଶି ଗାଁର ବିକାଶ କରିବୁ, ଭଲ କାମ କରିବୁ, ଶୀଘ୍ର କରିବୁ ଓ ସ୍ୱଚ୍ଛତାର ସହ କରିବୁ। ସେ ପୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର,  ୫ ଟଙ୍କାରେ ଲକ୍ଷ୍ମୀ ବସ,  ମମତାରେ ୫ ହଜାର ଟଙ୍କା, ମିସନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ  ଟଙ୍କା ଦିଆଯାଉଛି ବୋଲି ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।
ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଅନୁଗୋଳ ଜିଲ୍ଲାର ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ  ୧୪୪.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଗଜପତି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୪.୦୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ୩ଟି ଜିଲ୍ଲାରେ ସମୁଦାୟ ୧୧୮ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୬୪.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି ରଜନୀ କାନ୍ତ ସିଂହ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ମହେଶ ସାହୁ, ସାଂସଦ ଡଃ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ଚକ୍ରମଣି କହଁର, ବିଧାୟକ ସାଲୁଗା ପ୍ରଧାନ, ବିଧାୟକ  ଅଙ୍ଗଦ କହଁର, ବିଧାୟକ ବ୍ରଜ କିଶୋର ପ୍ରଧାନ, ବିଧାୟକ ମୁକେଶ ପାଲ୍, ବିଧାୟକ ସୁଶାନ୍ତ ବେହେରା, ବିଧାୟକ ରମେଶ ଚନ୍ଦ୍ର ସାଇ,  ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ। ଉପସ୍ଥିତ ବିଧାୟକ ଓ ସ୍ଥାନୀୟ ନେତୃବୃନ୍ଦ କହିଲେ ଯେ  ୭ ଦିନରେ ସମସ୍ୟା ସମାଧାନ ବାସ୍ତବରେ ଅଭୂତପୂର୍ବ। ଏହା ଆମ ସମସ୍ତଙ୍କ ପାଇଁ ଖୁସି ଆଣିଛି। କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।
Share