048ff01e f1df 4c8d 812d 5d5c44967e75 750x430

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଶନିବାର ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗୀର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା ଜିଲ୍ଲାର ୬୦ ଓ ନୂଆପଡ଼ା ଜିଲ୍ଲାର ୩୩ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି।
ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ। ଏହାପରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ।
ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପିଲାଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ନିଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ। ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି। ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।
ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ୫ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ।

Share