କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଦର୍ଶିତ ବିଭିନ୍ନ ପ୍ରଦର୍ଶନୀ ବୁଲି ଦେଖିଥିଲେ। ଯୁକ୍ତ ୨ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା କଳାରେ ଦେବେନ୍ଦ୍ର ଖମାରିଆ, ବିଜ୍ଞାନରେ ସୁଶିଲ କୁମାର ନାୟକ, ବାଣିଜ୍ୟରେ ସ୍ବର୍ଣ୍ଣ ରେଖା ମନ୍ତ୍ରୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ସୁପ୍ରିୟା ସୁତାରଙ୍କୁ ମୁଖ୍ୟମନ୍ତ୍ରୀ ୨୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଯୋଗିତା ଏବଂ ଶିକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଏବଂ ମୁଖ୍ୟମନ୍ତ୍ରୀ ଭାଷା ବୃତ୍ତି ପାଇଁ ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିବା ସହିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ହୁଇଲ ଚେୟାର ପ୍ରଦାନ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ, ଶିଶୁମାନେ ଆମର ଭବିଷ୍ୟତ, ଆମର ଆଶା। ଶିଶୁମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ଉନ୍ମେଷ କରାଇବାରେ ‘ସୁରଭି’ର ଯୋଗଦାନ ଅତ୍ୟନ୍ତ ଉଲ୍ଲେଖନୀୟ।
‘ସୁରଭି’ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରତିବର୍ଷ ବିଦ୍ୟାର୍ଥୀମାନଙ୍କ ପ୍ରତିଭା ଲୋକଲୋଚନକୁ ଆଣିବାକୁ ପ୍ରୟାସ ଜାରି ରଖିଛି । ବିଦ୍ୟାର୍ଥୀମାନଙ୍କ ଭିତରେ ଅସଂଖ୍ୟ ସମ୍ଭାବନା ଏବଂ ଗୁଣାବଳୀ ଲୁଚି ରହିଛି । ସେମାନେ ନିଜ ଭିତରେ ଲୁକ୍କାୟିତ ଗୁଣାବଳୀ ଏବଂ ଦକ୍ଷତାକୁ ଚିହ୍ନଟ କରନ୍ତୁ । ବଡ଼ ସ୍ୱପ୍ନ ଦେଖିବା ପାଇଁ କେବେ ବି ଦ୍ୱିଧା ପ୍ରକାଶ କରନ୍ତୁ ନାହିଁ । ଦେଶ ନିର୍ମାଣରେ ବିଦ୍ୟାର୍ଥୀମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ତେଣୁ ବିଦ୍ୟାର୍ଥୀଙ୍କୁ ଗୁଣାତ୍ମକ ଶିକ୍ଷା ଏବଂ ଉତ୍ତମ ସ୍ବାସ୍ଥ୍ୟ ବ୍ୟବସ୍ଥା ଯୋଗାଇ ଦେବା ପାଇଁ ଆମ ସରକାର ନିରନ୍ତର ପ୍ରୟାସ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ, ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ, ଉଚ୍ଚଶିକ୍ଷା ଭଳି ବିଭିନ୍ନ ସ୍ତର ରହିଛି ଏବଂ ଏହି ସମସ୍ତେ ପରସ୍ପରର ପରିପୂରକ। ତେଣୁ ସବୁ ସ୍ତରର ବିକାଶ ହୋଇପାରିଲେ ହିଁ ଆମ ରାଜ୍ୟର ଶିକ୍ଷା କ୍ଷେତ୍ରର ବିକାଶ ସମ୍ଭବ ହୋଇପାରିବ।
ଏହି ୩ ଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, ମଡ଼େଲ ୟୁନାଇଟେଡ୍ ନେସନ୍ ପାଭିଲିୟନ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି।
ବିଶିଷ୍ଟ ଅତିଥି ଭାବେ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଡ଼ ଏନ୍. ତିରୁମାଲା ନାଏକ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ବୀରେନ୍ଦ୍ର କର୍କରା, ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ନିୟତୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ନଭେମ୍ବର ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ।

