ଭୁବନେଶ୍ଵର: ଓଡ଼ିଶାରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ ଦେଖିବାକୁ ମିଳିଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସୁଥିବା ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେପିର ନବନିର୍ବାଚିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଅଧ୍ୟକ୍ଷ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ହୋଇଥିବାରୁ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି। ତାଙ୍କ ଗସ୍ତର ରୂପରେଖ ପ୍ରସ୍ତୁତ କରିବା ପାଇଁ ଆସନ୍ତା ମଙ୍ଗଳବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏହି ବୈଠକରେ ରାଜ୍ୟର ବରିଷ୍ଠ ନେତା, ଜିଲ୍ଲା ପଦାଧିକାରୀ ଏବଂ ମଣ୍ଡଳ ସଭାପତିମାନେ ଯୋଗ ଦେବେ।

