Vg5 4774 1024x683

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଠାରେ ବିଶାଳ ସାଧାରଣ ସଭା ହେବ । କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।  କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।

ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳୀର ସୁରକ୍ଷା ବ୍ୟବସ୍ଥା, ସଭାରେ ଯୋଗଦେଉଥିବା ସାଧାରଣ ଲୋକଙ୍କ ପାଇଁ ସୁବିଧା, ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।  ଯେହେତୁ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି ତେଣୁ ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରକାଶ କରିଛନ୍ତି ।

ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ଏହି ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କରାଯିବାର କାର୍ଯ୍ୟକ୍ରମ ରହିଛି ।  ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ. ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

Share