ଭୁବନେଶ୍ବର : ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ଟି ବିଭାଗର ୧୧ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜିର କ୍ୟାବିନେଟ୍ ମଞ୍ଜୁରୀ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ବୋଲି ସେ କହିଛନ୍ତି l ଏଥିରେ ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି ।

