ଲଘୁଚାପ ପ୍ରଭାବରେ ବଢ଼ିବ ବର୍ଷାର ପ୍ରକୋପ: ୧୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ

Cyclone Warning for Saurashtra Kutch Coasts 750x430

ଭୁବନେଶ୍ୱର: ଆଜି ଅବପାତ ରୂପ ନେବ ଲଘୁଚାପ। ୨୦ ଯାଏ ଭୀଷଣ ବର୍ଷିବ। ଆଉ ୨୬ ବେଳକୁ ଚତୁର୍ଥ ଲଘୁଚାପ ସମ୍ଭାବନା ରହିଛି। ଏପରି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅବପାତ ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ। ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଜାରି ହୋଇଛି। ବିଶେଷକରି ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ସୋମବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଅତ୍ୟଧିକ ପ୍ରବଳ ବର୍ଷା ହେବା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମଙ୍ଗଳବାର ମଧ୍ୟ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Share